
ବ୍ରହ୍ମପୁର : ଜାତୀର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ତମ ଜୟନ୍ତୀ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଜାକ ଜକମରେ ପାଳନ କରାଯାଇଛି । ରାମଲିଙ୍ଗମ୍ ପୋଖରୀ ପାଶ୍ୱର୍ରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀନଗର ଛକସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ରାଜ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ନିଗମ କମିଶନର ଡ. ସିଦ୍ଧେଶ୍ୱର ବାଳିରାମ ବନ୍ଦାରୋ, ବ୍ରହ୍ମପୁର ଉପଜିଲ୍ଲାପାଳ କୀର୍ତ୍ତିଭାସନ ଭି ପ୍ରମୁଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସ୍ଥାନୀୟ ହିଲ୍ପାଟଣାସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ଗାନ୍ଧୀଜୀଙ୍କ ଜୀବନ ଓ ଆଦର୍ଶ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶିନୀକୁ ଅତିଥିଗଣ ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବିନାରାୟଣ ବେହେରା ପରିଚାଳନା କରିଥିଲେ ।