ଭୁବନେଶ୍ୱର– ଆସନ୍ତା ଅକ୍ଟୋବର ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋବସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଓଡିଶା ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଏବେବି ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତର ଉପକୂଳ ଓଡିଶା, ଉତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ନବରଙ୍ଗପୁର, କୋରାପୁଟ, ରୟାଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୭ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । ଏହି ସମୟ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଅନ୍ୟପକ୍ଷରେ ୧୯ରୁ ୨୦ ତାରିଖ ମଧ୍ୟରେ କୋରାପୁଟ , ରାୟଗଡା , ଗଜପତି, ଗଂଜାମ , ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।