

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ୱାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ଦ୍ୱାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।