-
ଢେଙ୍କାନାଳର ୧୦ ଲକ୍ଷ ଓ ଅନୁଗୁଳର ୧୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ ସୁବିଧା
-
ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ । ସମସ୍ତଙ୍କର ସମ୍ମାନର ସହିତ ବଂଚିବାର ଅଧିକାର ଅଛି ଏବଂ ଏହି ହେଲ୍ଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି । କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି ।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଅନୁଗୁଳ ଜିଲ୍ଲା ଯାଇ ସେଠାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ବରେଣ୍ୟ ସ୍ୱାଧୀନା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ସ୍ମରଣ କରିଥିଲେ । ସେମାନଙ୍କ ପ୍ରତିଷ୍ଠିତ ବାଜିରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ରାଜ୍ୟ ସରକାର ବର୍ତମାନ ଭଲ ପିଇବା ପାଣି ଉପରେ ଗୁରୁତ୍ୱ ଦେଇଆସୁଛନ୍ତି । ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଥିବା ଯୋଗୁ ସେ ଖୁସି ପ୍ରକାଶ କରି କହିଲେ ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି । ଏହା ଆମର ପୁଷ୍ଟି ନିରାପତାକୁ ମଜବୁତ କରିବ ବୋଲି ସେ କହିଥିଲେ । ସେହିପରି ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି । ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ ।
ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି । ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ଶ୍ରୀମତୀ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଥିବା ବେଳେ, ଅନୁଗୁଳରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଧାୟକଗଣ ଯୋଗ ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଓଡିଶାର ଗରିବ ଲୋକଙ୍କ ମନରେ ଭରସା ସୃଷ୍ଟି କରିଛି ବୋଲି ସେମାନେ ପ୍ରକାଶ କରିବା ସହିତ, ଏହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶା ବିକାଶର ନୂଆ ନୂଆ ପାହାଚ ଅତିକ୍ରମ କରିଚାଲିଛି ବୋଲି ସେମାନେ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଂଟନ ସହ ସ୍ୱାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ ।