-
ରାୟଗଡାର ୮.୩୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା
-
ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୭ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତନ ଆଣିପାରିଛନ୍ତି । ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ôଥକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ୱାରା ଗୁଣୁପୁର ବ୍ଲକ୍ ର ୧୦୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ସାଂସଦ ଭାସ୍କର ରାଓ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି କହିଥିଲେ । ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।