
ଭୁବନେଶ୍ୱର,୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସରୁ ରାଜ୍ୟରେ ଶୀତ ବୃଦ୍ଧି ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ଖସିବ । ଫଳରେ ଶୀତ ବଢିବ । ୨୬ ତାରିଖରୁ ପାଗ ମଧ୍ୟ ଶୁଖିଲା ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି । ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢ଼େଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଜାନୁଆରୀ ୨୫ରୁ ୨୬ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ଖୋର୍ଧା ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଜାନୁଆରୀ ୨୬ରୁ ୨୭ ତାରିଖ ମଧ୍ୟରେ କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ।