ଭୁବନେଶ୍ୱର , ୫ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରେ ଜଣେ ଲେଖାଏଁ ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ରହିଛନ୍ତି । ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଂଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ଏହି ଆୟ ବହିର୍ଭୁତ ସମ୍ପତି ମଧ୍ୟରେ ୪୧.୭୭ ଲକ୍ଷ ଟଙ୍କା ତାଙ୍କ ଘରୁ ନଗଦ ଜବତ କରାଯାଇଥିଲା । ତାଙ୍କର ଭୁବନେଶ୍ୱର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ôଥକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ଶ୍ରୀମତୀ ସରଳା ଦେଇ ୨୦ ହଜାର ଟଙ୍କା ଲାଂଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଦୁର୍ନୀତି ନିବାରଣ ବିଭାଗର ଅନୁସନ୍ଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ୱରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ଶ୍ରୀମତୀ ପ୍ରତିମା ସାହୁ ମଧ୍ୟ ଲାଂଚ ନେଉଥିବା ବେଳେ ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଂଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା ଫିଡବ୍ୟାକ୍ କୁ ମଧ୍ୟ ବିଚାରକୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି ।
ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।