
ଭୁବନେଶ୍ୱର, ରାଜ୍ୟ ନିର୍ବାଚନ କମିଶନ ଶୁକ୍ରବାର ଦିନ ପୌର ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି । ପୌର ନିର୍ବାଚନ ମାର୍ଚ୍ଚ ୨୪ରେ ହେବ । ୨୬ ତାରିଖରେ ଭୋଟ ଗଣତି ହେବ । ଏଥିଲାଗି ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ।
ସେ କହିଛନ୍ତି ଯେ ଆଗାମୀ ୨୮ ତାରିଖରେ ଏ ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍ ରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍ ରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ । ସେଥିରୁ ଗୋଟିଏ କର୍ପୋରେଟର/କାଉନସିଲର ନିର୍ବାଚନ ପାଇଁ ଏବଂ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ । ପୌରାଂଚଳ ଓ ଏନଏସିର ଅଧ୍ୟକ୍ଷ ପଦବୀ ଓ ମହାନଗରର ମେୟର ପଦବୀ ନିମନ୍ତେ ହଳଦିଆ ବାଲାଟ ପେପର ଏବଂ କାଉନସିଲର ଓ କର୍ପୋରେଟରଙ୍କ ପାଇଁ ଗୋଲାପୀ ରଙ୍ଗର ବାଲାଟ ପେପର ଉଦ୍ଦିଷ୍ଟ ରହିବ ।
ଏହି ସମସ୍ତ ପୌର ନିର୍ବାଚନ ପାଇଁ ଆସନ୍ତା ମାର୍ଚ୍ଚ ୨ରୁ ୭ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ, ମାର୍ଚ୍ଚ ୯ତାରିଖରେ ନାମାଙ୍କନ ପତ୍ର ଯାଂଚ ଓ ୧୪ତାରିଖ ଅପରାହ୍ନ ୩ଟା ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର ଓ ସେହିଦିନ ଅପରାହ୍ନ ୫ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ୨୪ତାରିଖ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ । ୨୬ତାରିଖ ସକାଳ ୮ଟାରୁ ଭୋଟଗଣତି ହେବ । ଏପ୍ରିଲ ୭ତାରିଖରେ ପୌର ପରିଷଦ ଓ ଏନଏଏସି ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ହେବ । ଏପ୍ରିଲ ୮ତାରିଖରେ ଡେପୁଟି ମେୟର ନିମନ୍ତେ ନିର୍ବାଚନ ହେବ ।