ଭୁବନେଶ୍ବର, ରାଜ୍ୟ ନିର୍ବାଚନ କମିଶନ ଶୁକ୍ରବାର ଦିନ ପୌର ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି । ପୌର ନିର୍ବାଚନ ମାର୍ଚ୍ଚ ୨୪ରେ ହେବ । ୨୬ ତାରିଖରେ ଭୋଟ ଗଣତି ହେବ। ଏଥିଲାଗି ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।
ସେ କହିଛନ୍ତି ଯେ ଆଗାମୀ ୨୮ ତାରିଖରେ ଏ ସମ୍ପର୍କରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍ରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ।
ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍ରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ। ସେଥିରୁ ଗୋଟିଏ କର୍ପୋରେଟର/କାଉନସିଲର ନିର୍ବାଚନ ପାଇଁ ଏବଂ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ।