ଭୁବନେଶ୍ୱର, ଆଗାମୀ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ । ତେବେ, ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ପବନ ବୋହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଏହି ସମୟ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୨୧ ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ କାଳବୈଶାଖୀ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।