ଭୁବନେଶ୍ୱର, ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ,୬ ତାରିଖରେ ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ପରବର୍ତୀ ୨୪ ଘଂଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନାଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଜପତି, କେନ୍ଦୁଝର ଓ ମୟୂରଭଂଜଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ଏହାକୁ ଦୃଷ୍ଟିରେ ରଖି ଏହି ୧୬ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେହିପରି ୪ରୁ ୫ ତାରିଖ ମଧ୍ୟରେ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି ଗଜପତି ଓ ଗଂଜାମ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ,ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପନ ବହିବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ରେ କୌଣସି ବଡ଼ ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ ।