ଭୁବନେଶ୍ୱର , ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ପ୍ରବଳ ବେଗରେ ପବନ ମଧ୍ୟ ବହିପାରେ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାପ୍ରତି ୪୦-୫୦ କିଲୋମିଟରରେ ବହିବାର ସମ୍ଭାବନା ରହିଛି । ସେହିପରି ରାୟଗଡ଼ା, କନ୍ଧମାଳ, ଗଜପତି, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୨୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।