ପୁରୀ, ଜ୍ୟୋଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରୁକ୍ମିଣୀ ବିବାହ ଉତ୍ସବ । ଏଥିପାଇଁ ଶ୍ରୀମନ୍ଦିର ସିଂହଦ୍ଵାରକୁ ବେଶ୍ ସୁନ୍ଦର ଭାବେ ଫୁଲରେ ସାଜସଜ୍ଜା କରାଯାଇଥିବା ବେଳେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ଅନୁଷ୍ଠିତ ହେବ । ସକାଳଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ । ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ ।
ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ଵାରକୁ ବିଜେ କରିବେ । ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀ ଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ ।
ଏହାପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ଉତାରୁ ବେଶ ସମ୍ପନ୍ନ ହୋଇଥାଏ । ପରେ ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହ ମାନଙ୍କୁ ମହାସ୍ନାନ କରାଯାଇ ନୂଆ ଲୁଗା ଲାଗି କରାଯିବ । ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ ।