ଭୁୁବନେଶ୍ୱର,ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଗତ ୨୪ ଘଂଟା ମଧ୍ୟରେ ୧.୧ ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବର୍ଷା ୧୪ ମିମି ତୁଳନାରେ ୯୨% କମ୍ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଂଜାମ, ନୟାଗଡ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ ଦେବଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।