ଭୁବନେଶ୍ୱର, ମୌସୁମୀ ନିମ୍ନ ଚାପରେଖାର ଉତରାୟଣ ଗତି ସହ ରାଜ୍ୟରେ ମୌସୁମୀ ଦୁର୍ବଳ ସ୍ଥିତିରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରଭାବ କମିଥିବା ବେଳେ ଦିନ ତାପମାତ୍ରା ବୃଦ୍ଧି ପାଇଛି । ଅଧିକାଂଶ ସ୍ଥାନରେ ଗତ ୨୪ ଘଂଟାରେ ସ୍ୱାଭାବିକ ଠାରୁ ୨ ରୁ ୩ ଡ଼ିଗ୍ରୀ ଯାଏଁ ଅଧିକ ତାପମାତ୍ରା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ , କେନ୍ଦୁଝର ଓ ମୟୁରଂଭଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।