ଭୁବନେଶ୍ୱର, ଗତକାଲିର ଅବପାତ ଛତିଶଗଡ ଏବଂ ପାର୍ଶ୍ୱବର୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ୍ୟ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଅପରପକ୍ଷରେ ଆସନ୍ତା ୧୩ ଅଗଷ୍ଟ ବେଳକୁ ଉତର ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର ପରବର୍ତୀ ୨୪ ଘଂଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ , ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ସମୟ ମଧ୍ୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ , ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଏଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୧୧ ରୁ ୧୨ ତାରିଖ ମଧ୍ୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।