
ଭୁବନେଶ୍ୱର,ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ୱବର୍ତୀ ଅଂଚଳ ଉପରେ ବାୟୁମଣ୍ଡଳରେ ୫.୮କିମି ଯାଏଁ ଗୋଟିଏ ଘୁର୍ଣ୍ଣି ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଅଗଷ୍ଟ ୧୯ ତାରିଖ ପାଖାପାଖି ଉତର ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ୧୯ ଓ ୨୦ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଢେଙ୍କାନାଳ , ସୁନ୍ଦରଗଡ , ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର , ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୮ ରୁ ୧୯ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର,କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ , ଗଂଜାମ , ଗଜପତି , ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।