ଭୁବନେଶ୍ୱର,ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଂଚଳରେ ବୁଧବାର ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି,ଏହା ସମୁଦ୍ରପତନ ଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଗାମୀ ୨୪ଘଂଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ବୁଧବାର ଠାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । ତେବେ ୯ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଗଜପତି, ଗଂଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ ରୁ ୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଂଜାମ, ରାୟଗଡା, କନ୍ଧମାଳ ,ନବରଙ୍ଗପୁର, କଳାହାଣ୍ଡି, ନୟାଗଡ , ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।