ଭୁବନେଶ୍ୱର,ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟକୁ ଯଥାଶୀଘ୍ର ଶେଷ କରି ଯାତ୍ରୀମାନଙ୍କ ନିମନ୍ତେ ଲୋକାର୍ପିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନଠାରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ବସଷ୍ଟାଣ୍ଡର ବାକିଥିବା ସିଭିଲ, ଇଲେକ୍ଟ୍ରିକାଲ୍ ଏବଂ ଜନସ୍ୱାସ୍ଥ୍ୟ କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ନିମନ୍ତେ ବକେୟା ଅର୍ଥରାଶିକୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ପ୍ରଦାନ କରିବା ପାଇଁ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି । ଏଥି ସହିତ ଟେଣ୍ଡରରେ ସାମିଲ ହୋଇଥିବା କାର୍ଯ୍ୟ ବ୍ୟତୀତ ବସଷ୍ଟାଣ୍ଡରେ ଅଗ୍ନିନିର୍ବାପକ ବ୍ୟବସ୍ଥା, କାର୍ଯ୍ୟାଳୟର ଆସବାବପତ୍ର, ସିସିଟିଭି ଏବଂ ଜେନେରେଟର ଆଦି ବ୍ୟବସ୍ଥାର ଅତିରିକ୍ତ କାର୍ଯ୍ୟ ନିମନ୍ତେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଅତିରିକ୍ତ ବ୍ୟୟରାଶି ୨୦ ତାରିଖ ସୁଦ୍ଧା ପ୍ରଦାନ କରିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ବସଷ୍ଟାଣ୍ଡ ନିର୍ମାଣ ଯୋଗୁ ଉଚ୍ଛେଦ ଏବଂ ସ୍ଥାନାନ୍ତରିତ ହୋଇଥିବା ଦୋକାନୀମାନଙ୍କୁ ଉପଯୁକ୍ତ ଭାବରେ ଥଇଥାନ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା ।
ବୈଠକରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକଦୀପ୍ତେଶ କୁମାର ପଟ୍ଟନାୟକ, ବାଣିଜ୍ୟ ଓ ପରିବହନ ବିଭାଗର ଅର୍ଥ ପରାମର୍ଶଦାତା ତଥା ସ୍ୱତନ୍ତ୍ର ଶାସନ ସଚିବ ପ୍ରଭାତ କୁମାର ଜେନା, ଚାରବାଟିଆ ରାସ୍ତା ଓ ଗୃହ ନିର୍ମାଣ ଡିଭିଜନ୍ର ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ମହାନ୍ତି, ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।