ଭୁବନେଶ୍ୱର, ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୧୮ ତାରିଖ ବେଳକୁ ଉତର-ପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତୀ ୪୮ ଘଂଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ , ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଦେବଗଡ, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।