ଭୁବନେଶ୍ୱର, ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘଡ଼ଘଡ଼ି, ବର୍ଷା ସହ ୪୦-୫୦ ବେଗରେ ପବନ ବହିବାର ସମ୍ଭାବନା ଥିବା କୁହାଯାଇଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର,ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର ସୁବର୍ଣ୍ଣପୁର , ବଲାଙ୍ଗିର, ବୌଦ୍ଧ. ଅନୁଗୁଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଏହାସହ ପୁରୀ , ଖୋର୍ଦ୍ଧା, ନୟାଗଡ,ଗଂଜାମ, ଗଜପତି,ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଦେବଗଡ ନୂଆପଡା ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଏଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏପ୍ରିଲ୍ ପହିଲା ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼-ପବନ ସମ୍ଭାବନା ରହିଥିବା ନେଇ ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ସର୍ବାଧିକ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି ।