ପୁରୀ, ଆଜି ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଅନୁଷ୍ଠିତ ହେଉଛି । ସ୍ଵୟଂ ପ୍ରଭୁ ଶ୍ରୀ ଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ । ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଜେଉଟ ଭୋଗ ଅର୍ପଣ କରାଯାଇଥିଲା । ଗର୍ଭଉଦକ ଦିଆଯାଇଥିଲା । ଗୁରୁବାର ନବମୀରେ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହେବ । ୨ ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିବେ । ଏହା ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ ରଖାଯିବ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ ପ୍ରସ୍ତୁତ କରିବେ । ଏହା ପରେ ପଣ୍ଡା ଶୀତଳଭୋଗ ଲାଗି କରିବେ । ମହାସୁଆର ଜୟବିଜୟ ଦ୍ଵାରଠାରେ ଚରୁଭାତ ମଣୋହୀ କରିବେ ।
ଚୈତ୍ର ଶୁକ୍ଳ ନବମୀ ତିଥି ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ, ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ ତାଙ୍କର କୌଣସି ସନ୍ତାନ ନ ଥିଲେ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କ ଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗ ଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଥିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କରିଥିଲେ । କୌଶଲ୍ୟା ଓ କୈକେୟୀ ନିଜ ନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଇଥିଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ଵା ହେଲେ ।