
ଭୁବନେଶ୍ୱର,ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଓଡ଼ିଶା ଉଚ୍ଚନ୍ୟାୟାଳୟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। କଟକ ସ୍ଥିତ ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଛନ୍ତି।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ୨୦୨୨ ମସିହା ଜୁନ୍ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ ଶୁଭାଶିଷ ତାଳପତ୍ର ୧୯୬୧ ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜନ୍ମଗ୍ରହଣ କରିଥିଲେ । ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।
୨୦୧୩ ସେପ୍ଟେମ୍ବର ୧୩ରେ ତ୍ରିପୁରାରେ ନୂତନ ହାଇକୋର୍ଟ ପ୍ରତିଷ୍ଠା ହେବା ପରେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ଜଷ୍ଟିସ ତାଳପତ୍ର। ୨୦୧୮ ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯ ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ଏହାପରେ ୨୦୨୨ ଜୁନ୍ ୧୦ ତାରିଖରୁ ସେ ଓଡିଶା ହାଇକୋର୍ଟର ବିଚାରପତି ଥିଲେ ।