ଭୁବନେଶ୍ୱର– ମୌସୁମୀ ନିମ୍ନ ଚାପ-ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଉତର ରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି । ଦୁର୍ବଳ ମୌସୁମୀ ଯୋଗୁଁ ରାଜ୍ୟରେ ବର୍ଷା ଉଭାନ୍ ହୋଇଯାଇଛି । ତେବେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ,ବିଜୁଳି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ,ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ମୟୁରଭଂଜ, ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ,ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଉପରୋକ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର,କେନ୍ଦୁଝର ମୟୁରଭଂଜ,ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ।