ଭୁବନେଶ୍ୱର, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏବଂ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ମୁହାଁଇଛି । ଏହାର ପ୍ରଭାବରେ ଆସନ୍ତା ୭୨ ଘଂଟା ମଧ୍ୟରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୩ ତାରିଖରୁ ବର୍ଷା ପରିମାଣ ବଢିବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।