ଭୁବନେଶ୍ୱର, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବର୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଂଚଳରେ ରହିଛି । ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହେବା ସହ ଶକ୍ତିଶାଳୀ ହୋଇଛି । ଫଳରେ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ପାଇଁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଗୁରୁବାର ପରଠୁ ବର୍ଷାର ପରିମାଣ କମିପାରେ ।