ଭୁବନେଶ୍ୱର, ତାତିରେ ସାରା ଓଡିଶା ଜଳୁଛି । ଭୟଙ୍କର ତାତି ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ଆଗକୁ ମଧ୍ୟ ସ୍ଥିତି ସମାନ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ କରି ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଏପରି ଭୟଙ୍କର ତାତି ଦେଖିବାକୁ ମିଳିବ । ସେଥିପାଇଁ ଅଧିକାଂଶ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବ । ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ହେବ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହାଛଡ଼ା ପୁରୀ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହଜାରି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।