ଭୁବନେଶ୍ଵର, ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ଵର । ତେବେ ତନ୍ମଧ୍ୟରୁ ୧୦ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାକୁ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୨୬ ଜିଲ୍ଲା ଏବଂ ୨୭ ତାରିଖରେ ୭ ଜିଲ୍ଲା, ୨୮ ତାରିଖରେ ୫ ଜିଲ୍ଲା ଏବଂ ୨୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।