ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୩ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଭୀଷଣରୁ ଅତି ଭୀଷଣ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୀଷଣ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୫ ଜିଲ୍ଲା ହେଲା ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । କୋହଲା ପବନ ସାଙ୍ଗକୁ ବଜ୍ରପାତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୧୩ ଜିଲ୍ଲା ହେଲା କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୩୧ ତାରିଖ ପାଇଁ ଭୀଷଣରୁ ଅତିଭୀଷଣ ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ସେପ୍ଟେମ୍ବର ୧ ତାରିଖ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି।