ଭୁବନେଶ୍ଵର– ବାତ୍ୟା ଦାନା ଲ୍ୟାଣ୍ଡଫଲ୍ କରିବା ପରେ ଦୁର୍ବଳ ହୋଇଛି । ତେବେ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଅତ୍ୟଧିକ ବର୍ଷା ନେଇ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୪ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା । ତନ୍ମଧ୍ୟରୁ ଗୋଟିଏ ଦୁଇଟି ସ୍ଥାନରେ ୧୨ ସେମିରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ ସେ.ମି.ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ସେହିପରି ୨୬ ତାରିଖ ସକାଳ ୮ଟା ୩୦ରୁ ୨୭ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।