କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,ପୁରୀ,
ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି ଙ୍କ ଦୁର୍ଲ୍ଲଭ ଆଡ଼କିଆ ବେଶ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଯାଇଛି |ପରମ୍ପରା ଅନୁସାରେ କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥିଲା । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିଲେ ।
ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଥିଲା । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥିଲା । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥିଲା । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥିଲା । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁର ମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶ ରେ ଭୂଷିତ କରାଯାଇଥିଲା । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।
ଆଡ଼କିଆ ବା ଠିଆକିଆ ବେଶ ମଧ୍ୟରେ ପ୍ରଭେଦ ଏହି କି ଯେ , ଠିଆକିଆ ବେଶରେ ସୁନାକିଆ ଲମ୍ବ ଭାବରେ ଖୋସା ନଯାଇ ଆଡ଼ବାଗରେ ଖୋସା ଯାଏ ଏବଂ ଡାଳିକିଆ ବେଶରେ ସୋଲର ଡାଳପତ୍ରରେ ସୁନାର କିଆପତ୍ର ଖଞ୍ଜାଯାଏ । ଏହି ସୁନାକିଆ ଗୁଡିକ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ମସ୍ତକରେ ପିନ୍ଧାଯାଇଥିବା ସୋଲ, କନା, ବେତ , ଜମ୍ବୁରା, କଇଁଥ ଅଠାରେ ନିର୍ମିତ ଚୂଳରେ ଖୋସାଯାଏ । ଚୂଳର ଶେଷରେ ଲଗାଯାଏ ସୁନାର ଚନ୍ଦ୍ରିକା । ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକାଦ୍ୱାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ୱରେ ଦୁଇଟି ଲେଖାଏଁ କାଡ଼କାନି ଲଗାଯାଇଥାଏ ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି, ଶ୍ରୀପୟର , ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ । ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କଦ୍ୱାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।ପବିତ୍ର ପଞ୍ଚୁକ ଅବସରରେ ହବିଷ୍ୟଳୀ ଏବଂ ଭକ୍ତ ମାନେ ମହାପ୍ରଭୁ ଙ୍କ ଏହି ଦୁର୍ଲ୍ଲଭ ବେଶ ଦର୍ଶନ କରି ଶାନିଧ୍ୟ ଲାଭ କରିଥିଲେ |ଶ୍ରୀଜୀଉ ଙ୍କ ଦର୍ଶନ ପାଇଁ ବଡଦାଣ୍ଡରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା |