
ଭୁବନେଶ୍ୱର- ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଜେପିର ପୂର୍ବତନ ରାଜ୍ୟ ସଭାପତି ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ଏକ ଶୋକ ବାର୍ତାରେ ସେ କହିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ମୋର ପୂଜ୍ୟ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଲୋକପ୍ରିୟ ଜନନେତା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ଜଣେ ଦକ୍ଷ ସଂଗଠକ ଭାବେ ତାଙ୍କର ସୁନାମ ଥିଲା। କେନ୍ଦ୍ରମନ୍ତ୍ରୀ ତଥା ଆମ ଦଳର ମାର୍ଗଦର୍ଶକ ଭାବେ ରାଜ୍ୟ ବିକାଶରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ।
କେନ୍ଦ୍ରମନ୍ତ୍ରୀ ଭାବେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ସେ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗରେ ରାଜ୍ୟ ଓ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।