ଭୁବନେଶ୍ୱର- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୮୬ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ବରପୁତ୍ର ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ଉତ୍କଳଗୌରବଙ୍କ ପ୍ରତିମୂର୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ବାଚସ୍ପତି ଡ.ପାତ୍ର, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ପଂଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ସୂଚନା ଓ ଲୋକସଂପର୍କ, ଜଳସଂପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ସମେତ ବିଧାନସଭାର ସଦସ୍ୟସଦସ୍ୟା, ପୂର୍ବତନ ସଦସ୍ୟ, ଉତ୍କଳ ସମ୍ମିଳନୀର କର୍ମକର୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଉତ୍କଳଗୌରବ ମଧୁସୂଦନଙ୍କ ସ୍ମୃତିରେ ସଙ୍ଗୀତ ପରିବେଷଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବରଦା ପ୍ରସନ୍ନ ଦାସ ଓ ବିଧାନସଭାର କର୍ମଚାରୀମାନେ ଉପସ୍ଥିତ ଥିଲେ ।
ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିଲେ