-
ସୋମବାର ୪ଜଣ କରୋନା ରୋଗୀ ଚିହ୍ନଟ, ୧୫ ସୁସ୍ଥ
ବ୍ରହ୍ମପୁର: ଜିଲ୍ଲାରେ ସୋମବାର ୪ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ବର୍ତ୍ତମାନ ଜିଲ୍ଲାରେ ୩୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୧୦ଦିନରେ ୨୪୮ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୧୦୨ରୋଗୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ୩ରେ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପକ୍ଷରୁ ଘୋଷଣା କରାଯାଇଛି । ସୁସ୍ଥ ହୋଇ ଘରକୁ ଫେରିବା ଖବର ପ୍ରଚାରିତ ହେବାପରେ ଜିଲ୍ଲାବାସୀ ତଥା ରୋଗୀଙ୍କ ପରିବାର ମଧ୍ୟରେ ଖୁସିର ଲହରି ଖେଳିଯାଇଛି । ସେପଟେ ୨୧ଦିନିଆ କ୍ୱାରାଣ୍ଟାଇନ୍ ସାରି ଜିଲ୍ଲାର ବିଭିନ୍ନ ବ୍ଲକ୍ର ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପରେ ଥିବା ପ୍ରାୟ ୩ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ନିଜ ନିଜ ଘରକୁ ଫେରିଛନ୍ତି । ସେମାନଙ୍କୁ ପ୍ରଶାସନ ତରଫରୁ ସାର୍ଟିଫିକେଟ୍ ପ୍ରଦାନକରି ନିଜ ଘରକୁ ପଠାଇବା ସହ ଆଉ ୭ଦିନ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ପରାମର୍ଶ ଦିଆଯାଇଛି । କରୋନା ମୁକାବିଲା ଦିଗରେ ଏମାନେ ନିଜ ନିଜ ଗ୍ରାମାଞ୍ଚଳରେ ସଚେତନତା କରିବେ ବୋଲି ଜଣାପଡିଛି । ୨୧ଦିନ ଅସ୍ଥାୟୀ କ୍ୟାମ୍ପରେ ରହିବା ସମୟରେ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିଥିବା ସହାୟତା ଓ ଅତିଥି ଚର୍ଚ୍ଚା ଜୀବନସାରା ମନେ ରହିବ ବୋଲି ପ୍ରବାସୀମାନେ କହିବା ସହ ପ୍ରଶାସନକୁ ପ୍ରଶଂସା କରିଥିଲେ । ରବିବାର ମଧ୍ୟରାତ୍ର ଠାରୁ ଆରମ୍ଭକରି ସୋମବାର ମଧ୍ୟରାତ୍ର ପର୍ଯ୍ୟନ୍ତ ରାଜ୍ୟ ବାହାରୁ ୧୩ଟି ଟ୍ରେନରେ ପ୍ରାୟ ୮ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଆସିଛନ୍ତି । ସୁରତରୁ ୫, ମୁମ୍ବାଇ, ହାଇଦ୍ରାବାଦ, ପୁନେ, ତାମିଲନାଡୁ, ଗୁଣ୍ଟର ଆଦି ଅଞ୍ଚଳରୁ ୧୩ଟି ଟ୍ରେନ୍ରେ ପ୍ରାୟ ୮ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଗଞ୍ଜାମକୁ ଆସିଛନ୍ତି । ଏମାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପରେ ଜିଲ୍ଲାର ବିଭିନ୍ନ ସଙ୍ଗରୋଧ ଗୃହକୁ ୨୧ଦିନିଆ କ୍ୱାରାଣ୍ଟାଇନ୍ରେ ରହିବାକୁ ପଠାଯାଇଛି । ବିଳମ୍ବିତ ରାତ୍ରରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପହଞ୍ôଚ ପ୍ରବାସୀ ଓଡ଼ିଆଙ୍କୁ ସ୍ୱାଗତ କରିଥିଲେ । ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଓ ପୋଲିସ ପ୍ରଶାସନର ଏହି ପ୍ରବାସୀ ଓଡ଼ିଆଙ୍କୁ ସ୍ୱାଗତ କରିବା ସହ କରାଯାଇଥିବା ବସ୍ରେ ସଙ୍ଗରୋଧ ଗୃହକୁ ପଠାଯାଇଛି । ପ୍ରବାସୀ ଓଡ଼ିଆ ଆସିବାବେଳେ ଯେପରି ବାହାର ଲୋକ ନ ପଶନ୍ତି ସେଥିନିମନ୍ତେ ଅଞ୍ଚଳକୁ ୧୪୪ ଧାରା ଘୋଷଣା କରାଯାଇଥିଲା । ତେବେ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ସେପଟେ ଗତ ୧୧ଦିନ ମଧ୍ୟରେ ମୋଟ ୨୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହି ଖବର ଜିଲ୍ଲାବାସୀଙ୍କ ମଧ୍ୟରେ ଉତ୍ସାହିତ କରୁଥିବା ବେଳେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବାରୁ ଭୟଭୀତ ରହିଛନ୍ତି । ବର୍ତ୍ତମାନ ଜିଲ୍ଲାକୁ ପ୍ରାୟ ୮୦ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଆସିଥିବା ବେଳେ ସେମାନଙ୍କୁ ୪ହଜାରରୁ ଊର୍ଦ୍ଧ୍ୱ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ ବା ସଙ୍ଗରୋଧ ଗୃହରେ ରଖାଯାଇଛି । ସେମାନଙ୍କ ମଧ୍ୟରୁ ଓ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା କିଛି ସ୍ଥାନୀୟ ଲୋକଙ୍କ ଠାରୁ ହିଁ ବର୍ତ୍ତମାନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଆଗକୁ ଜିଲ୍ଲାରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି । ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ, ଡାକ୍ତର, ନର୍ସଙ୍କ ମିଳିତ ଉଦ୍ୟମରେ ଏବେ କରୋନା ମୁକାବିଲା ସୁରୁଖୁରୁରେ ଚାଲିଛି । ସେପଟେ ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ୍ ଜିଲ୍ଲାରେ ବଳବତ୍ତର ରହିଥିବା ବେଳେ ସନ୍ଧ୍ୟା ୭ରୁ ସକାଳ ୭ ଯାଏଁ କର୍ଫ୍ୟୁ ସ୍ଥିତି ଜାରି କରାଯାଇଛି । ଏହି ସମୟରେ ମେଡିକାଲ୍ କାର୍ଯ୍ୟ ସାରିଲେ ଅନ୍ୟ କୌଣସି କାର୍ଯ୍ୟରେ ଲୋକେ ଯେପରି ବାହାରକୁ ବାହାରିବେନି ସେ ଉପରେ ଗୁରୁତ୍ୱ ଦିଆଯାଇଛି । ଯଦି କୌଣସି ଲୋକ ଅନାୟସରେ ପଦାକୁ ବାହାରେ ତାହେଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଳାପାଳ କହିଛନ୍ତି ।